।।କୃଷ୍ଣାୟ ବାସୁଦେବାୟ ଦେବକୀ ନନ୍ଦନାୟଚ
ନନ୍ଦଗୋପ କୁମାରାୟ ଗୋବିନ୍ଦାୟ ନମୋନମଃ।।
ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ।ଏହା ଥିଲା ଭଗବାନ ବିଷ୍ଣୁଙ୍କ କୃଷ୍ଣ ଅବତାର।କଂସ ଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ।ବନ୍ଦିଶାଳାରେ ମାତାପିତାଙ୍କୁ ଶ୍ରୀକୃଷ୍ଣ ଜଣାଇ ଦେଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ।ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ।ସଂସାରକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଥିଲେ।ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ, ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା ବିଜୁଳୀ କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଥିଲେ।ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରତିରେ ବାହାରିଲେ।ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହେଇଗଲା, ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିଗଲା ଏବଂ ବନ୍ଦିଶାଳାର ଦ୍ୱାର ମଧ୍ୟ ଆପେଆପେ ଖୋଲିଗଲା।ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହେଇ ଗୋପପୁର ଗଲେ।ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କି ଚାଲିଲେ।ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦରାଜାଙ୍କ ଘରେ ଛାଡିଥିଲେ ବସୁଦେବ।ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ।