ଭୁବନେଶ୍ୱର, (ସନ୍ଧାନ ନିଉଜ) ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବ । ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ । ଆଜି ୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ସେହିପରି ଆଜି ରାତି ସାଢେ ୮ଟାରୁ ଆସନ୍ତାକାଲି ସକାଳ ୮ ଭିତରେ ଉତ୍ତର ଓ ଦକ୍ଷିଣ ଓଡିଶାରେ କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।
ସେହିପରି ବର୍ଷା ଯୋଗୁଁ ତଳିଆ ଅଞ୍ଚଳର ବର୍ଷା ପାଣି ଜମି ରହିବ । ସୁବର୍ଣ୍ଣରେଖା ଅବବାହିକା ଅଞ୍ଚଳରେ ଜଳ ପତ୍ତନ ବୃଦ୍ଧି ପାଇବ । ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରପଡା, ଜଗତସିଂହପୁର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସକାଳ ୮ଟା ଭିତରେ ଓଡିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।



