ଏକାମ୍ରକ୍ଷେତ୍ର ପ୍ରକଳ୍ପ କାମ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ: ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ଆଇନ ଖୁବ ଶୀଘ୍ର

Spread the love

ଭୁବନେଶ୍ବର, ୦୨/୧୨/୨୦୨୦ (ସନ୍ଧାନ ନିଉଜ) ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପାଇଁ ଖୁବ ଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଅପରାହ୍ନରେ ଏକାମ୍ରକ୍ଷେତ୍ର ବିକାଶ ପ୍ରକଳ୍ପ ବୁଲି ଦେଖିବା ଅବସରରେ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ସିଂହଦ୍ବାରକୁ ଯାଇ ସେଠାରୁ ମହାପଭୁଙ୍କୁ ପ୍ରଣାମ ଜଣାଇଥିଲେ ଏବଂ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ । ବର୍ତ୍ତମାନ ସରକାର ଅମଳରେ ବିନ୍ଦୁସାଗର ଠାରୁ ଆରମ୍ଭ କରି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଅନେକ ବିକାଶ କାର୍ଯ୍ୟ ହୋଇଥିବାରୁ ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଥିଲେ ।
ପରେ ମୁଖ୍ୟମନ୍ତ୍ରୀ ଦେବୀ ପାଦହରା ପୁଷ୍କରଣୀ ବୁଲି ଦେଖିବା ସହ ବିନ୍ଦୁସାଗର ମଠଘାଟ ଠାରେ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ। ଏକାମ୍ରକ୍ଷେତ୍ର ପ୍ରକଳ୍ପ ପାଇଁ ଜମି ଦାନ କରିଥିବା ବ୍ୟକ୍ତି ମାନଙ୍କୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଥିଲେ ଏବଂ ପ୍ରକଳ୍ପ କାର୍ଯ୍ୟ ଆଗକୁ ନେବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ ଆକର୍ଷିତ କରିବାରେ ଏହି ଯୋଜନା ଏକ ସଫଳ ଉଦ୍ୟମ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଛି । ଐତିହ୍ୟ ନଗରୀ ଭୁବନେଶ୍ବରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ ଏହାକୁ ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଭାବରେ ବିକଶିତ କରିବା ଏବଂ ଭକ୍ତ ଓ ପର୍ଯ୍ୟଟକ ମାନଙ୍କ ପାଇଁ ଏକ ଅନନ୍ୟ ଆଧ୍ୟାତ୍ମିକ ଅନୁଭବ ପ୍ରଦାନ କରିବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ।
ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ସମୟରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଷାନ୍ତ ରାଉତ, ଉନ୍ନୟନ କମିଶନର ଶ୍ରୀ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ, ପୋଲିସ କମିଶନର ଶ୍ରୀ ସୁଧାଂଶୁ ଷଡଙ୍ଗୀ, ପୂର୍ତ୍ତ ସଚିବ ଶ୍ରୀ କିଷନ କୁମାର, ବି.ଏମ୍‌.ସି କମିଶନର ଶ୍ରୀ ପ୍ରେମଚାନ୍ଦ ଚୌଧୁରୀ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Related Posts

About The Author

Add Comment